ସେଆର କରନ୍ତୁ

ମାଣବସା ଗୁରୁବାର

ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ ।

ମାଣବସା ଗୁରୁବାର

ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ" ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।

ନାମକରଣ

ମାଣ ବସାଇବାରୁ "ମାଣବସା" ନାମ ଆଧାରିତ । ଚାଉଳ ଆଦି ଶସ୍ୟ ମାପିବା ପାଇଁ ମାଣ ବ୍ୟବହାର ହୋଇଥାଏ । ଏହି ଓଷାରେ ଧାନମାଣ ବସାଇ ତାହାକୁ ପୂଜା କରାଯାଉଥିବାରୁ ଓଷାଟି ମାଣବସା ନାମରେ ଜଣା ।

ପ୍ରକାର

ଏହି ପର୍ବ ସମାନ ବିଧିରେ ଓଡ଼ିଶାର ବିଭିନ୍ନ ଆଦିବାସୀ ସମାଜରେ ମଧ୍ୟ ପାଳିତ ହୋଇଥାଏ । ସାନ୍ତାଳମାନେ "ଇରୁ ମାମଣେ", ଭୂୟାଁମାନେ "ମଗୁଶୀର ଗୁରୁବାର ହଲବା", ହୋ ଓ ଓମାନାତ୍ୟାମାନେ ଲକ୍ଷ୍ମୀ ପୂଜା କରିଥାନ୍ତି । ଏହି ସମୟରେ ସନ୍ତାନସନ୍ତତି ନଥିବା ନାରୀମାନେ ସନ୍ତାନ ଆଶାରେ କାଞ୍ଜି ଅଁଳା ବା"ଶୁଖୁଆ ବୋହୁ" ବା "ଷଠି ଓଷା" କରିଥାନ୍ତି ।

କିମ୍ବଦନ୍ତୀ

ମାଣବସା ଗୁରୁବାରର କିମ୍ବଦନ୍ତୀ ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣରେ ବଖଣାଯାଇଛି । ଏଥି ମତେ ଦାସଦାସୀ ପରିବେଷ୍ଟିତ ଲକ୍ଷ୍ମୀ ଦିନେ ସ୍ୱାମୀଙ୍କ ଠାରୁ ମାଣବସା ଗୁରୁବାର ଅନୁମତି ନେଇ ଦେଶ ଭ୍ରମଣରେ ବ୍ରାହ୍ମଣୀରୁ ପରେ ବଡ଼ ଦେଉଳରୁ ବିଜେ କଲେ । କିଏ ତାଙ୍କୁ ପୂଜୁଛି ତାହା ଜାଣିବା ନିମନ୍ତେ ସେ ଘର ଘର ବୁଲିଲେ । ଅନେକ ଧନୀ, ବଡ଼ ଲୋକ ସେଦିନ ଗୁରୁବାର ବୋଲି ଭୁଲି ଯାଇଥିବା ଦେଖିବା ପରେ ସେ ଶ୍ରୀୟା ନାମକ ଜଣେ ଚଣ୍ଡାଳୁଣୀ ଘରେ ପହଞ୍ଚିଥିଲେ। ଘରଦ୍ୱାର ପରିଷ୍କାର କରି ଲିପାପୋଛା କରି ଶ୍ରୀୟା ତାଙ୍କ ପୂଜା ପାଇଁ ସଜ, ଭୋଗ-ନୈବେଦ୍ୟ ଆଦି ସଜାଡ଼ି ରଖୁଥିଲା । ଲକ୍ଷ୍ମୀ ତାହାଙ୍କ ଭକ୍ତିରେ ମୁଗ୍ଧ ହୋଇ ସେଠାରେ ହିଁ ରହିଗଲେ । ଏହା ଶୁଣି ବଳରାମ କୋପକଲେ । ସେତେବେଳର ସମାଜରେ ଅଛୁଆଁ ଭାବେ ଗଣା ଯାଉଥିବା ଚଣ୍ଡାଳୁଣୀର ଘରେ ପାଦ ଦେଇଥିବାରୁ ବଡ଼ଦେଉଳ ଦ୍ୱାର ଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ଅପମାନିତ ହୋଇ ସେ ଘରୁ ବାହାରି ଗଲେ । ଯିବା ବେଳେ ପଣ କଲେ କାଳିଆ-ବଳିଆ (ଜଗନ୍ନାଥ-ବଳଭଦ୍ର) ଦୁଇ ଭାଇଙ୍କୁ ଉଚିତ ଶିକ୍ଷା ଦେବେ । ଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ଆଉ ଏକ ପ୍ରାସାଦ ଗଢ଼ାହେଲା ତାଳବେତାଳ ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ତାହାକୁ ଶ୍ରୀହୀନ କରିଦେଲେ । ଖାଇବାକୁ ନପାଇ ଦୁଇଭାଇ ଭୋକରେଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁ ଖରେ ପହଞ୍ଚିଲେ। ପ୍ରାସାଦ ମାଲିକାଣୀଙ୍କ ଅତିଥେୟତାରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମାଲିକ/ମାଲିକାଣୀଙ୍କୁ ଲୋଡ଼ିଲେ। ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ । ଶୁଚିଶୁଦ୍ଧ ଲୋକର ଦ୍ୱାରକୁ ଯିବାକୁ ବାରଣ ନାହିଁ କି ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ ।

ବିଧି

"ଧାନ ମେଣ୍ଟା" ବା "ଧାନ ଗହଣି"

ଲକ୍ଷ୍ମୀ ସାଆନ୍ତାଣୀଙ୍କ ପୂଜାର୍ଚ୍ଚନା

ଚାଉଳ ବଟାରେ ଝୋଟି ଚିତା କାଟିବା

ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ । ଧାନ ଅମଳ କରି ଘରକୁ ଆଣିବା ଆଗରୁ ତା'ର ଘରଣୀ ଏଥିରୁ ଧଳାଧାନର ଶିଶା ବାଛି ବାହାର କରିଥାଏ। ଏହି ଧାନର ଶିଶାରେ ବେଣୀ ବାନ୍ଧି ମେଣ୍ଟିବା ମେଣ୍ଟା ପ୍ରସ୍ତୁତ କରି ଏହାକୁ ଶୁଖାଇ ଅତି ଯତ୍ନ ଓ ଆଦରରେ ରଖିଥାଏ । ଗୁରୁବାର ଓଷାର ପୂର୍ବଦିନରୁ ଘର ଦ୍ୱାର ଅଗଣା ଓ ଘର ଚାରିପାଖ ଗୋବର ମାଟିରେ ଲିପା ପୋଛା କରି ପରିଷ୍କାର କରିଥାଏ । ଅମଳ ପରେ ଖଳାରେ ସେହି ସ୍ତୁପୀକୃତ ଧାନକୁ ଅନ୍ନ ଓ ଧନର ଦେବୀ ଲକ୍ଷ୍ମୀଙ୍କର ଆଶିଷ ବୋଲି ମାନି ଏହି ଓଷା ପାଳନ କରାଯାଇଥାଏ ।

ଗୁରୁବାରରେ କରାଯାଇଥିବା ଝୋଟି । ଏହି ଚିତାକୁ 'ତ୍ରିଶାଖା ଗୁଚ୍ଛ' କୁହାଯାଏ ।

ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ଵାର ଲିପାପୋଛା କରି ଝୋଟିଚିତା ପକାଇଥାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି ଲକ୍ଷ୍ମୀଙ୍କ ପୂଜା ଆରମ୍ଭ କରିଥାନ୍ତି । ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ଆଙ୍କନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତା ଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ । ହଳଦୀ ଓ ଗୁଗୁଳ ବାଟି ମାଣର ଉପରପାଶ୍ୱର୍ରେ ଲେପ ଦିଆଯାଏ ଯାହାଏକ ମୁହଁର ରୂପ ନେଇଥାଏ । ସେଥିରେ କଉଡିକୁ ଆଖିଭାବେ ବ୍ୟବାରକରି ନିଜର ସୃଜନ ଶୈଳିଦ୍ୱାରା ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । କେହି କେହି ମାଣକୁ କାରିଗର ଦ୍ୱାରା ଗଢାଇ ସୋଲ ଓ ଅନ୍ୟାନ୍ୟ ଦ୍ରବ୍ୟରେ ସେଥିରେ ଆଖି, ନାକ, କାନ ସୁନ୍ଦର ଭାବେ ଗଢାଇ ପୂଜା କରିଥାନ୍ତି । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । କେହି କେହି ଗବପତ୍ର, ଗୟାତୁଳସୀ, କଳାପାତି, ସିନ୍ଦର ଫରୁଆ, ପିତ୍ତଳମୂର୍ତ୍ତି ଇତ୍ୟାଦି ମଧ୍ୟ ରଖିଥାନ୍ତି । ଧାନଖଳାକୁ ମଧ୍ୟ ସେଦିନ ଝୋଟିଚିତାରେ ଚିତ୍ରିତ କରାଯାଇଥାଏ । ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ଵତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜାସ୍ଥାନରେ ପିଠଉରେ କୋଠି କରି ଷୋହଳ ପାଖୁଡା ପଦ୍ମଫୁଲ ଅଙ୍କାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୂର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର ବୋଳାଯାଏ । ପ୍ରଥମେ ଏକ ଖଟୁଲିରେ କିଛି ନୂଆଧାନ ରଖାଯାଏ । ସିନ୍ଦୂର ବୋଳାଯାଇଥିବା ମାଣ ବା ଗଉଣୀକୁ ଲକ୍ଷ୍ମୀ ଦେବୀଙ୍କର ପ୍ରତୀକ ସ୍ଵରୂପ ନୂଆ ଧଳାଧାନରେ ପୂର୍ଣ୍ଣକରି ତା' ଉପରେ ଗୁଆ ରଖାଯାଏ । ସେହି ମାଣକୁ ଖଟୁଲି ଉପରେ ବସାଇ ତା'ଉପରେ ଧାନବେଣୀ ରଖି ନୂତନ ପାଟଲୁଗାର ଓଢ଼ଣୀ ଢଙ୍କାଯାଏ । ଲକ୍ଷ୍ମୀଙ୍କୁ ଏକ ନବବଧୂ ବେଶରେ ସଜାଯାଇ ଚନ୍ଦନ ସିନ୍ଦୂର ଆଦି ଦେଇ ସ୍ଥାପନା କରାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ ।

ଭୋଗ

ଲକ୍ଷ୍ମୀଙ୍କୁ ଅର୍ପିତ ଭୋଗ

ପୂଜା କାଳରେ ଧୂପ, ଦୀପ ଓ ନୈବେଦ୍ୟ ଆଦି ଅର୍ପଣ କରାଯାଏ ଲକ୍ଷ୍ମୀଙ୍କ ପାଖରେ । ପିଠାପଣା ଓ ଫଳମୂଳ ଭୋଗ (କଦଳୀ, ଛେନା, ନଡ଼ିଆ, ଗୁଡ଼, ଗୋଲମରିଚ ଓ ଅନ୍ୟାନ୍ୟ ଫଳ ) ଲକ୍ଷ୍ମୀଙ୍କ ପାଖରେ ଲଗାଯାଏ । ଏଥି ସହିତ ମଣ୍ଡା ପିଠା ତିଆରି କରାଯାଇ ଭୋଗ ଦିଆଯାଇଥାଏ । ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ କରି ଲକ୍ଷ୍ମୀଙ୍କୁ ପାଖରେ ଲାଗି କରାଯାଇଥାଏ । ଲକ୍ଷ୍ମୀଙ୍କୁ ଧୂପ, ଦୀପ, ନେବେଦ୍ୟ ସହ ବାଳଭୋଗରେ ଛୋନା, ଗୁଡ଼, ନଡ଼ିଆ, କଦଳୀକୁ ଚକଟି ଭୋଗ ଲଗାଯାଏ । ୩ ଧୂପ ମଧ୍ୟରୁ ଏହାକୁ ବାଳଧୂପ କୁହାଯାଏ । ଏହାପରେ ମଧ୍ୟାହ୍ନ ଧୂପପାଇଁ ପ୍ରସ୍ତୁତି ଆରମ୍ଭ ହୁଏ । ମଧ୍ୟାହ୍ନରେ ଶଙ୍କୁଡ଼ି ଧୂପରେ ଲାଗିହେବା ପାଇଁ ଖିରି ବା ତରଣ, ଚକୁଳିପିଠା, ତରକାରି ଇତ୍ୟାଦି ପ୍ରସ୍ତୁତ କରାଯାଇ ଶ୍ରଦ୍ଧାର ସହ ଭୋଗ ଲଗାଯାଏ । ମଧ୍ୟାହ୍ନ ଭୋଗପରେ ମା’ଙ୍କ ସମ୍ମୁଖରେ ଲକ୍ଷ୍ମୀ ପୁରାଣ ବୋଲାଯାଏ । ଏହି ଭୋଗ ଘରର ପ୍ରତ୍ୟେକ ସଦସ୍ୟ ଖାଇଥାନ୍ତି । ଏହିଭୋଗକୁ ପରିବାର ଛଡ଼ା ଅନ୍ୟ କାହାକୁ ନଦେବାର ନିୟମ ଅଛି । ଗୋଧୂଳି ସମୟରେ ସନ୍ଧ୍ୟା ଧୂପରେ ଆଉଥରେ ବାଳଧୂପପରି ଭୋଗ ଲଗାଯାଇ ସଧ୍ୟା ପୂଜା କରାଯାଏ । ୨ୟ ଗୁରୁବାରରେ ଚିତଉପିଠା, ଦହିକାଲୁଆ, ୩ୟରେ ଖେଚୁଡ଼ି-ଡାଲମା ଏବଂ ୪ର୍ଥରେ ମଣ୍ଡା ପିଠା ଭୋଗ ଲାଗି ହୋଇଥାଏ।

ମାର୍ଗଶିର ମାସର ଶେଷ ଗୁରୁବାର ଦିନ ବ୍ରତ ସାରି ଉଜୁଆ ଯାଏ । ଏହି ଦିନ ପୂର୍ବଭଳି ସମସ୍ତ ନୀତିରେ ମାଣ ବସାଇ ମଣ୍ଡା ପିଠା ଓ ଖିରି ଭୋଗ କରାଯାଏ । ସଞ୍ଜ ଭୋଗ ପରେ ସେହି ମାଣରେ ଥିବା ଧାନକୁ ଆଉ ଏକ ଜାଗାରେ ଅଜାଡ଼ି ରଖାଯାଏ । ପୂଜାର ଅନ୍ୟ ସମସ୍ତ ସଜକୁ ସହକାରେ ନେଇ ପୋଖରୀ ଆଦି ଜଳାଶୟରେ ବିସର୍ଜନ କରାଯାଏ । ପୂଜାରେ ବ୍ୟବହୃତ ଧାନକୁ କୁଟି ସେହି ଚାଉଳରେ ଖିରି ବା ଜାଉ ରାନ୍ଧି କେବଳ ଘର ଲୋକଙ୍କ ମଧ୍ୟରେ ଖିଆଯାଏ । ଏହିପରି ଲକ୍ଷ୍ମୀଙ୍କୁ ଆବାହନ କରିବାଠାରୁ ବିସର୍ଜନ କରାଯିବା ପର୍ଯ୍ୟନ୍ତ ସମସ୍ତ ବିଧି ବିଧାନକୁ ପାଳନ କରି ଘରର ବିବିଧ ଉନ୍ନତି କାମନା କରାଯାଏ ।

ଆଧାର: ସଂସ୍କୃତିକ ବିଭାଗ, ଓଡିଶା ସରକାର

3.10344827586
ଆପଣଙ୍କର ପରାମର୍ଶକୁ ପୋଷ୍ଟ କରନ୍ତୁ

( ଯ଼ଦି ଆପଣଙ୍କର କିଛି କମେଣ୍ଟ / ପରାମର୍ଶ ଉକ୍ତ ବିଷଯ଼ବସ୍ତୁକୁ ନେଇ ରହିଛି ତେବେ ଦଯାକରି ତାହାକୁ ଏଠାରେ ପୋଷ୍ଟ କରନ୍ତୁ

Enter the word
ନେବିଗତିଓଂ
Back to top