অসমীয়া   বাংলা   बोड़ो   डोगरी   ગુજરાતી   ಕನ್ನಡ   كأشُر   कोंकणी   संथाली   মনিপুরি   नेपाली   ଓରିୟା   ਪੰਜਾਬੀ   संस्कृत   தமிழ்  తెలుగు   ردو

ପରିବେଶ ସମସ୍ୟା

ପରିବେଶରେ ପରିବର୍ତ୍ତନର ପ୍ରଭାବ

ଆଦିମ ମଣିଷ ବଣ, ଜଙ୍ଗଲ ଓ ଗୁମ୍ଫାରେ ରହୁଥିଲା । ପଶୁ, ପକ୍ଷୀ ଶିକାରକରି ଜଙ୍ଗଲରୁ ଫଳ, ମୂଳ ସଂଗ୍ରହକରି ଚଳୁଥିଲେ । ପ୍ରକୃତି ଓ ପ୍ରାକୃତିକ ବିପର୍ଯ୍ୟୟକୁ ଭୟ କରୁଥିଲା । ତେଣୁ ସୂର୍ଯ୍ୟ, ଚନ୍ଦ୍ର, ନଦୀ, ପର୍ବତ, ବର୍ଷା ଇତ୍ୟାଦିଙ୍କୁ ପୂଜା କରୁଥିଲା । ବିଜ୍ଞାନର ପ୍ରଗତି ଫଳରେ ମଣିଷ ପ୍ରାକୃତିକ ପ୍ରକ୍ରିୟା ବିଷୟରେ ଜ୍ଞାନ ଆହରଣ କଲା । ପ୍ରକୃତିକୁ ଆଉ ଭୟ କଲାନାହିଁ । ଅତ୍ୟଧିକ ଲୋଭ ଯୋଗୁଁ ଆବଶ୍ୟକତା ଠାରୁ ଅଧିକ ପରିମାଣର ପ୍ରାକୃତିକ ସମ୍ପଦର ଅପବ୍ୟବହାର କରି ଚାଲିଲା । ନିଜର ସୁବିଧା ପାଇଁ ପ୍ରାକୃତିକ ଧାରାରେ ପରିବର୍ତ୍ତନ ଆଣିଲା । ଏହାର ପରିଣାମ ସ୍ୱରୂପ ପ୍ରାକୃତିକ ବିଭବ ଧୀରେ ଧୀରେ କ୍ଷୟ ହେବାରେ ଲାଗିଲା । ପରିବେଶରେ ପରିବର୍ତ୍ତନ ଯୋଗୁଁ ଏବେ ଜୀବଜଗତ ଉପରେ ତାହାର ପ୍ରଭାବ ପରିଲକ୍ଷିତ ହେଲାଣି । ଯଦି ଏହି ଅବସ୍ଥା ଲାଗି ରହେ ତେବେ ଦିନେ ପୃଥିବୀ ପୃଷ୍ଠରୁ ଜୀବସତ୍ତା ଲୋପପାଇବ । ନିମ୍ନରେ କେତୋଟି ପରିବେଶ ସମସ୍ୟା ଉଲ୍ଲେଖ କରାଗଲା:

  1. ଖଣି ଖନନ, ରାସ୍ତା ତିଆରି, କଳକାରଖାନା ପ୍ରତିଷ୍ଠା, ନଦୀବନ୍ଧ ଯୋଜନା ଇତ୍ୟାଦି ଦ୍ଵାରା ପୃଥିବୀର ଜଙ୍ଗଲ ସମ୍ପଦ ହ୍ରାସ  ପାଇବା ସହିତ ଜୈବବିବିଧତା ଉପରେ ଏହାର ପ୍ରଭାବ ପଡୁଛି।
  2. ଜଙ୍ଗଲ ଓ ମୃତ୍ତିକା କ୍ଷୟ ଦ୍ଵାରା ପତିତ ଜମି ସୃଷ୍ଟିହେବା ସହିତ ମଗୁପ୍ରସାର ଘଟୁଛି ।
  3. ଶୀତଳୀକରଣ ଯନ୍ତ୍ରରେ ବ୍ୟବହୃତ କୋରୋଫ୍ଲୋରୋକାର୍ବନ୍ (CFC) ଗ୍ୟାସ ଓଜୋନ୍ ସ୍ତରରେ ଛିଦ୍ର ସୃଷ୍ଟି କଲାଣି । ଫଳରେ ସୂର୍ଯ୍ୟଙ୍କଠାରୁ ଆସୁଥିବା ଅତିବାଇଗଣି ରଶ୍ମି ଏବେ ପୃଥିବୀ ପୃଷ୍ଠାରେ ସିଧାସଳଖ ପହଞ୍ଚିଲାଣି । ଏହାର ପ୍ରଭାବରେ ମନୁଷ୍ୟଙ୍କ ଦେହରେ ଚର୍ମ କର୍କଟ ରୋଗ ଓ ଆଖିରେ ପରଳ ରୋଗ ଦେଖାଦେଉଛି ।
  4. ବାୟୁମଣ୍ଡଳରେ ଅଙ୍ଗାରକାମ୍ଳ ଏବଂ ଅନ୍ୟ ସବୁଜ କୋଠରି ଗ୍ୟାସର ପରିମାଣ ବୃଦ୍ଧି ଯୋଗୁଁ ପୃଥିବୀରେ ସବୁଜ କୋଠରି ପ୍ରଭାବ ପରିଲକ୍ଷିତ ହେଉଛି । ଏଥିଯୋଗୁଁ ଧୀରେ ଧୀରେ ବାୟୁମଣ୍ଡଳର ତାପମାତ୍ରା ବଢି ଏହା ବିଶ୍ଵତାପନ ବା ଗ୍ଲୋବାଲ ୱାର୍ମିଂ (Global warming)ର କାରଣ ହେଲାଣି । ବିଶ୍ଵତାପନ ଯୋଗୁଁ ସମୁଦ୍ର ଜଳପତ୍ତନ ବଢ଼ିବାରେ ଲାଗିଛି ଏବଂ ବିଶ୍ଵ ଜଳବାୟୁରେ ଅବାଞ୍ଛିତ ପରିବର୍ତ୍ତନ ଘଟୁଛି।
  5. କଳକାରଖାନା ଓ ମୋଟର ଯାନରୁ ନିର୍ଗତ ସଲଫର। ଡାଇଅକସାଇଡ ଓ ନାଇଟ୍ରୋଜେନ୍ ଅକ୍ସାଇଡସ୍ ବାୟୁମଣ୍ଡଳକୁ ଯାଇ ଜଳୀୟବାଷ୍ପ ସହିତ ମିଶି ସଲଫରିକ୍ ଅମ୍ଳ ଓ ନାଇଟ୍ରିକ ଅମ୍ଳରେ ପରିଣତ ହେବା ଫଳରେ ଅମ୍ଳ ବର୍ଷା ହେଉଛି । ଏହାର ପ୍ରଭାବରେ ଜଙ୍ଗଲ, ଘାସପତ୍ରିଆ ଏବଂ ଶସ୍ୟାକ୍ଷେତ୍ରର ଉତ୍ପାଦନ କ୍ଷମତା ହ୍ରାସ ପାଇଲାଣି।
  6. ପ୍ରତିଦିନ ସହରାଞ୍ଚଳରେ ସୃଷ୍ଟି ହେଉଥିବା ଗଦାଗଦା କଠିନ ବର୍ଜ୍ୟର ପରିଚାଳନା ମୁନିସିପାଲଟି କର୍ତ୍ତୃପକ୍ଷଙ୍କ ପାଇଁ  ସମସ୍ୟା ସୃଷ୍ଟି କଲାଣି। କାରଣ ସବୁ ପ୍ରକାର ବର୍ଜ୍ୟବସ୍ତୁକୁ କ୍ଷୟ କରିବାର କ୍ଷମତା ପରିବେଶର ନାହିଁ । ପନିପରିବା, ଫଳମୂଳ, ପତ୍ର, କାଗଜ, କାଠ ଇତ୍ୟାଦି ଜୈବ ପଦାର୍ଥ ଜୈବ ଅବନମିତ କ୍ଷମ (Biodegradable) । ଏହି ସବୁ ଜୈବ ପଦାର୍ଥ ପରିବେଶରେ ଅପଘଟିତ ହୋଇ ମାଟିରେ ମିଶେ । କିନ୍ତୁ ବର୍ଜ୍ୟର ସୁପରିଚାଳନା ନହେବା ଦ୍ଵାରା ଏହା ବହୁଳ ପରିମାଣରେ ପରିବେଶରେ ଜମା ହୋଇ ରହୁଛି । ବର୍ଷାଦିନେ ଏହା ପଚି ବାୟୁ ଓ ଭୂପୃଷ୍ଠ ଜଳ ପ୍ରଦୂଷଣ ସହିତ ଭୂତଳ ଜଳ ପ୍ରଦୂଷଣର ମଧ୍ୟ କାରଣ ହୋଇପଡିଛି । ଅନ୍ୟପକ୍ଷରେ ବଡବଡ ସହରମାନଙ୍କରୁ ବାହାରୁଥିବା ପ୍ଲାଷ୍ଟିକ୍ ନିର୍ମିତ ପଦାର୍ଥ, ପାରଦ ଓ ଅନ୍ୟ ରାସାୟନିକ ପଦାର୍ଥ, ଧାତୁନିର୍ମିତ ପଦାର୍ଥ ଆଦି ଜୈବ-ଅବନମିତ ଅକ୍ଷମ (Non-biodegradable)। ଅଣୁଜୀବଙ୍କ ଦ୍ଵାରା ଏହାର ଅପଘଟନ ହୁଏ ନାହିଁ । ଏଗୁଡ଼ିକ ପରିବେଶରେ ଜମା ହୋଇ ରହନ୍ତି। ଏ ଭିତରୁ କିଛି ଖାଦ୍ୟଶୃଙ୍ଖଳ ମାଧ୍ୟମରେ ଜୀବମାନଙ୍କ ଶରୀରରେ ପ୍ରବେଶ କରି ଜୈବପରିବର୍ଦ୍ଧନ କରାନ୍ତି । ଏହାର ପ୍ରଭାବରେ ମଣିଷ ଓ ଗୃହପାଳିତ ପଶୁ ବହୁ ରୋଗରେ ଆକ୍ରାନ୍ତ ହେଲେଣି ।

ପରିବେଶ ସଚେତନତା ଓ ସ୍ଵେଚ୍ଛାସେବୀ ସଂଗଠନ

ଆମେ ଆମ ପୂର୍ବପୁରୁଷଙ୍କ ଠାରୁ ଗ୍ରହଣ କରିଥିବା ପରିବେଶକୁ ଠିକ ଭାବେ ଆମ ପର ପିଢ଼ିକୁ ଦେବା ଆମର ଉତ୍ତରଦାୟିତ୍ଵ ।  ମଣିଷର ଲୋଭ, ଏବଂ ଅସଂଯତ ବ୍ୟବହାର ଯୋଗୁଁ ସମଗ୍ର ପୃଥିବୀର ପରିବେଶ ଏବେ ଧ୍ଵଂସମୁଖକୁ ଗତି କରୁଛି । ତେଣୁ ପୃଥିବୀର ସବୁ ଦେଶ ଓ ସାଧାରଣ ବ୍ୟକ୍ତି ପରିବେଶ ସୁରକ୍ଷା ଏବଂ ପରିବେଶର ଉନ୍ନତି ପାଇଁ ଯତ୍ନବାନ ହେବା ଉଚିତ । ଚିନ୍ ଦେଶରେ ଏକ ଲୋକପ୍ରବାଦ ଅଛି - "ଯଦି ଗୋଟିଏ ବର୍ଷ ପାଇଁ ଯୋଜନା କରୁଛ ତେବେ ଧାନଚାଷ କର । ଯଦି ଦଶବର୍ଷ ପାଇଁ ଯୋଜନା କରୁଛ ତେବେ ଗଛ ଲଗାଆ । ଯଦି 100 ବର୍ଷ ପାଇଁ ଯୋଜନା କରୁଛ ତେବେ ଜନସାଧାରଣଙ୍କୁ ଶିକ୍ଷିତ କର ।" ପରିବେଶ ବିଷୟରେ ଯୁବପିଢ଼ି ଏବଂ ବୟୋଜ୍ୟୋଷ୍ଠ ବ୍ୟକ୍ତି-ସମସ୍ତେ ସଚେତନ ହେବା ଉଚିତ । ଏହି ସଚେତନତା କାର୍ଯ୍ୟକ୍ରମ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ଲୋକଙ୍କ ନିକଟରେ ପହଞ୍ଚିବା ଆବଶ୍ୟକ । ଏ’ ଦିଗରେ ଭାରତର କେତେକ ଉସ୍ତାହୀ ସ୍ଵେଚ୍ଛାସେବୀ ସଂଗଠନର  କାର୍ଯ୍ୟ ନିମ୍ନରେ ପ୍ରଦାନ କରାଯାଇଛି ।

  1. ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳରେ ବାୟୁ, ପ୍ରଦୂଷଣ ଉପରେ ଗବେଷଣା କରିବା ସହିତ ସବୁଜ ବଳୟ ସୃଷ୍ଟିପାଇଁ 1979 ମସିହାଠାରୁ ‘କଳ୍ପବୃକ୍ଷ' ନାମକ ଏକ ସଂସ୍ଥା କାର୍ଯ୍ୟ କରୁଛି । ସଂସ୍ଥା ତରଫରୁ ସ୍କୁଲ ଛାତ୍ରମାନଙ୍କୁ ପରିବେଶ ସୁରକ୍ଷା ବିଷୟରେ ଶିକ୍ଷା ଦିଆଯାଉଛି । ଏହା ବ୍ୟତୀତ ଡେରାଡୁନ୍ ଅଞ୍ଚଳରେ ଖଣି ଉତ୍ତୋଳନ ଯୋଗୁଁ ସୃଷ୍ଟି ହେଉଥିବା ପରିବେଶ ସମସ୍ୟା ଉପରେ ଏହି ସଂସ୍ଥା କାର୍ଯ୍ୟ କରୁଛି ।
  2. "କେରଳ ଶାସ୍ତ୍ର ସାହିତ୍ୟ ପରିଷଦ” ନାମକ ଏକ ସଂସ୍ଥା ଗୋବର ଗ୍ୟାସ, ଧୂମହୀନ କୋଇଲା ଓ ଚୁଲାର ବ୍ୟବହାର ପାଇଁ ଗାଁ ମାନଙ୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ 1970 ମସିହା ଠାରୁ କାର୍ଯ୍ୟ କରୁଛି ।
  3. 1883 ମସିହାରେ ପ୍ରତିଷ୍ଠିତ 'ବମ୍ବେ ନାଚୁରାଲ୍ ହିଷ୍ଟ୍ରି ସୋସାଇଟି' ବନ୍ୟଜୀବ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଉପରେ କାର୍ଯ୍ୟ କରୁଛି ।
  4. ବିଭିନ୍ନ ଜନସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ସୂଚନା ଦେବା ଉଚିତ ଯେ ପୃଥିବୀ କେବଳ ମଣିଷ ନୁହେଁ, ବରଂ ଲକ୍ଷ ଲକ୍ଷ ଅନ୍ୟ ଜୀବମାନଙ୍କର ମଧ୍ୟ ବାସସ୍ଥଳୀ । ପୃଥିବୀ ଉପରେ କେବଳ ମନୁଷ୍ୟମାନଙ୍କର ଅଧିକାର ନାହିଁ । ମାଟି, ପାଣି, ପବନ, ବୃକ୍ଷଲତା, ସମସ୍ତ ଜୀବ ଓ ସୂର୍ଯ୍ୟା ଲୋକର ବ୍ୟବହାର ଉପରେ ସମଗ୍ର ଜୀବଜଗତର ଅଧିକାର ରହିଛି। ଏହି 6 ଗୋଟି ପ୍ରାକୃତିକ ସମ୍ବଳ କେବଳ ବର୍ତ୍ତମାନ ପିଢି ପାଇଁ ଉଦ୍ଦିଷ୍ଟ ନୁହେଁ ।  ଆମର କର୍ତ୍ତବ୍ୟ ହେଉଛି ଏହି ପ୍ରାକୃତିକ ସମ୍ବଳକୁ ଆମର ଭବିଷ୍ୟତ ପିଢି ପାଇଁ ଠିକ୍ ଭାବେ ରଖିବା ।

ଆଧାର -"ବିଏସି ଓଡ଼ିଶା"



© 2006–2019 C–DAC.All content appearing on the vikaspedia portal is through collaborative effort of vikaspedia and its partners.We encourage you to use and share the content in a respectful and fair manner. Please leave all source links intact and adhere to applicable copyright and intellectual property guidelines and laws.
English to Hindi Transliterate