অসমীয়া   বাংলা   बोड़ो   डोगरी   ગુજરાતી   ಕನ್ನಡ   كأشُر   कोंकणी   संथाली   মনিপুরি   नेपाली   ଓରିୟା   ਪੰਜਾਬੀ   संस्कृत   தமிழ்  తెలుగు   ردو

ରଜ

ପାରମ୍ପାରିକ ପର୍ବ ରଜ

ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।

ବିଶେଷତ୍ଵ

ଆଷାଢମାସ ଚତୁର୍ମାସ୍ୟା ବ୍ରତର ପ୍ରଥମ ମାସ । ଏ ଚାରି ମାସ ମୁନି ଋଷି ଓ ସାଧବମାନେ ସେମାନଙ୍କ ପରିଭ୍ରମଣ ତ୍ୟାଗ କରି ଏକସ୍ଥାନରେ ନିବିଷ୍ଟ ହୋଇ ସାଧନା କରିଥା'ନ୍ତି । ଏହି ମାସକୁ ଦାମ୍ପତ୍ୟ ଜୀବନର ସର୍ବଶ୍ରେଷ୍ଠ ସମ୍ଭୋଗର ମାସ ବୋଲି ଗ୍ରହଣ କରାଯାଏ । ବିରହ, ବିଧୂର ଯକ୍ଷର ପ୍ରିୟା ଉଦ୍ଦେଶ୍ୟରେ ମେଘ ମାଧ୍ୟମରେ ପ୍ରେରିତ ବାର୍ତ୍ତାକୁ ନେଇ ମହାକବି କାଳିଦାସଙ୍କ ରଚିତ "ମେଘଦୂତ' ମହାକାବ୍ୟ ଏକ ଅନବଦ୍ୟ ସାଂସ୍କୃତିକ ବୌଦ୍ଧିକ ପ୍ରତିଲିପି ଓ ଇତିକଥା । ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା' ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା' ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା'ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା'କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ । ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିାଇଁ ଭୂ ଖନନ ବାରଣ କରାଯାଇଥାଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ । କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ । ଜଣେ ନାରୀଭାବେ ଆଗାମୀ ଦିନରେ କିରି କର୍ତ୍ତବ୍ୟ ସମ୍ପାଦନ କରିବାକୁ ହେବ, ତାହା କୁମାରୀମାନଙ୍କୁ ଶିଖିବାକୁ ପଡ଼ିଥାଏ ଏହି ରଜ ପର୍ବ ପାଳନ ଅବସରରେ । କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାରସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାରସଂହିତା ତାକୁ ସହାୟ ହୋଇଥାଏ । ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାତାକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲାଭଳି କଟା, ବଟା ଆଦି ଗୃହକର୍ମ ନ କରି କୁମାରୀମାନେ ବିଶ୍ରାମ କରନ୍ତି । ଧରଣୀ ମାତା ଶସ୍ୟଶ୍ୟାମଳାପୂର୍ଣ୍ଣ ହେବା ପାଇ ପ୍ରାଥମିକ ପ୍ରସ୍ତୁତି ଭାବେ ରଜ ତିନିଦିନ ବିଶ୍ରାମ ମିଳିଥାଏ ତାଙ୍କୁ । ଠିକ ସେହିପରି ଝିଅବୋହୂମାନଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜପର୍ବର କଳ୍ପନା କରାଯାଇଛି । ରଜପର୍ବର ବିଧିବିଧାନକୁ ସେମାନେ ନିଜେ ପାଳନ କରି ଜଣେ ମାତାର କର୍ତ୍ତବ୍ୟକୁ ସୁଚାରୁରୂପେ ତୁଲାଇପାରିବେ ଏବଂ ଭବିଷ୍ୟତରେ ନିଜ ଝିଅମାନଙ୍କୁ ସ୍ୱଅନୁଭୂତିରୁ ଶିଖି ସଂସାର ନିୟମ ଶିଖାଇବେ ।

ପାଳନ

  • ରଜ ଦୋଳି ଖେଳ
  • ଏହି ପର୍ବ ପାଳନ ବେଳରେ ଘରର ଘରଣୀମାନେ ସାଧାରଣ କାମରୁ ଛୁଟି ନେଇ ନାନାଦି ଖେଳରେ ମାତନ୍ତି । ଅଭିଆଡ଼ି ଝିଅମାନେ ଶାଢ଼ୀ ଆଦି ପିନ୍ଧି ରଜ ଦୋଳି ଖେଳ, ପୁଚି ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି । ଏହି ଦିନ ଧରିତ୍ରୀ ମାଆକୁ ସମ୍ମାନ ଦେଇ କେହି ଭୂଇଁ ଉପରେ ଖାଲି ପାଦରେ ଚାଲିନଥାନ୍ତି । ପତ୍ର/ଖୋଳପାରେ ତିଆରି କଠଉରେ ଭୂଇଁ ଉପରେ ଚାଲିବାର ବିଧି ରହିଛି । ଏହି ଦିନ ପୋଡ଼ ପିଠା, ଚକୁଳି ପିଠା ଆଦି ଖିଆଯାଇ ଥାଏ ।

  • ଖାଲିପାଦରେ ଚାଲିବା ମନା
  • ମା'ପାଇଁ ସମସ୍ତ ଯତ୍ନ, ଶ୍ରଦ୍ଧା ଅଜାଡ଼ି ଦିଆଯିବା ପରି ରଜରେ ରଜସ୍ୱଳା ଧରିତ୍ରୀ ମା' ପାଇଁ ସମସ୍ତ ସେବା, ଯତ୍ନ, ଶ୍ରଦ୍ଧାର ଲୋଡ଼ା ପଡେ଼ । କେତେ ପଦାଘାତ, କେତେ ଖନନ ଅବିରତ ସହୁଥିବା ଏ ଧରିତ୍ରୀ ମା'କୁ ଟିକିଏ ଆଶ୍ୱସ୍ତି ଦେବାର ପ୍ରୟାସ କରାଯାଇଥାଏ ରଜରେ । ଧରଣୀମାତାଙ୍କ ପ୍ରତି କୃତଜ୍ଞତା ସ୍ୱରୂ ଭୂମିକୁ ଆଘାତ ନଦେବା ପାଇଁ କୁମାରୀମାନେ ଖାଲି ପାଦରେ ଚାଲନ୍ତି ନାହିଁ, ଅଧିକାଂଶ ସମୟ ଦୋଳିରେ ଝୁଲନ୍ତି ଏବଂ ଧୀର ପଦପାତରେ ଚପଲ ପିନ୍ଧି ଚଳପ୍ରଚଳ ହୁଅନ୍ତି ।

  • ବସୁମତୀ ସ୍ନାନ
  • ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ । ଏହା ବସୁଧାମାତାଙ୍କ ଶୁଦ୍ଧ ସ୍ନାନ । ଏହା ଧରାସ୍ନାନ, ମହାଲକ୍ଷ୍ମୀ ସ୍ନାନ, ମହାଲକ୍ଷ୍ମୀ ଗାଧୁଆ ଓ ଶୁଦ୍ଧ ସ୍ନାନ ରୂପେ ପ୍ରଖ୍ୟାତ । ବଡ଼ି ସକାଳୁ ଶିଳପୁଆରେ ହଳଦୀ କନା ଗୁଡ଼ାଇ ସିନ୍ଦୂର, କଜଳ ଦେଇ ଧରଣୀ ମାତାଙ୍କ ସ୍ୱରୂକୁ ସଜାଇ ପିଢ଼ା ଉପରେ ଥାପନା କରି କଳସ ଆମ୍ବଡ଼ାଳ ରଖି କ୍ଷୀର ଦେଇ ସ୍ନାନ କରାଯାଏ । ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥା’ନ୍ତି । ମାର୍ଗଶୀର ଶେଷ ଗୁରୁବାରଦିନ ବନ୍ଦ ହୋଇଥିବା ମହାଲକ୍ଷ୍ମୀ ପେଡ଼ି ଏହି ଦିନ ଖୋଲାଯାଇଥାଏ । ରଜସ୍ଵଳାନାରୀ ସଦୃଶ ତିନିଦିନ ଅସ୍ପୃଶ୍ୟ ହୋଇ ରହିବାପରେ ଚତୁର୍ଥ ଦିନ ପ୍ରାତଃ କାଳରେ ଏହି ଶୁଦ୍ଧ ସ୍ନାନ ପର୍ବ । ଏହି ଦିନ ରଜପର୍ବର ଆନନ୍ଦ ଉଲ୍ଲାସ ମଉଳି ଯାଇ ଆଧ୍ୟାତ୍ମିକତା ସ୍ଥାନ ନେଇଥାଏ । ଏହି ବସୁମତୀ ସ୍ନାନ ଦିବସରେ ଧରଣୀ ମାତା ପ୍ରତି ଭକ୍ତିଭାବ ଜାଗ୍ରତ ହୋଇଥାଏ । ବସୁମାତା ରଜସ୍ଵଳା ହୋଇ ଶୁଦ୍ଧସ୍ନାନ ପରେ ସୃଜନ କ୍ଷମତାଶୀଳା ଅର୍ଥାତ ଶସ୍ୟ ବୀଜ ଧାରଣକାରିଣୀ ହୋଇପାରିଥାନ୍ତି ।

ରଜଗୀତ

ରଜଗୀତ ଏହି ପର୍ବରେ ବୋଲାଯାଉଥିବା ଜଣାଶୁଣା ଗୀତ ଯାହା ଆଗେ ଗାଆଁ ଗହଳିରେ ଜନ୍ମ ନେଇଥିଲା ଯାହା ଲୋକ ମୁଖରେ ବୋଲାଯାଉଥିଲା ପୁରୁଷ ପୁରୁଷ ଧରି ଓ ଧିରେ ଧିରେ ତାହା ଓଡ଼ିଆ ସାହିତ୍ୟ ଭିତରକୁ ଆସିଲା ।

“ ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ, ଆସିଛି ରଜ ଲୋ ଘେନି ନୂଆ ସଜବାଜ ॥ ରଜ ଦୋଳି କଟ କଟ, ମୋ ଭାଇ ମଥାରେ ସୁନା-ମୁକୁଟ, ସୁନା ମୁକୁଟ ଲୋ ଦିଶୁଥାଏ ଝଟମଟ ॥ ” “ ପାନ ଖିଆ ରସିକ ପାଟି, ଖୋଜି ବୁଲୁଥିଲା ରାଜାଙ୍କ ହାତୀ, ଢାଳି ଦେଇଗଲା ଶିରରେ, ରାଜା ହୋଇଗଲେ ରଜରେ ॥ ”
  • ରଜଦୋଳି ଗୀତ:
  • ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ ଲୋ, ଘେନି ନୂଆ ସଜବାଜ ।
    ରାଶିରୁ ଛାଡ଼ିଲା ଚୋପା, ଗୋଡ଼ରେ ନାଇଛୁ ସରୁ ଅଳତା ଲୋ, ମଥାରେ ସିନ୍ଦୂର ଟୋପା ।
    ଉଡ଼ିଲା ଶୁଆ ନାହାକା, ଦୋଳିଟା କାହିଁକି ଲାଗୁଛି ଏକା ଲୋ, କାହା ବିନା ଏକା ଏକା ।
    ପାଚିଲା ଭଇଁଚ କୋଳି, ବେକରେ ନାଇଚି ଗଜରା ମାଳି ଲୋ, ଝୁଲାଅ ରଜର ଦୋଳି ।
    ପଣସ ପାଚିଲା ବନେ, ବନ ପୋଡ଼ିଗଲେ ଦୁନିଆ ଜାଣେ ଲୋ, ମନକଥା କିଏ ଜାଣେ ।
    ଶଙ୍ଖ ମଲମଲ ଗିନା, ଦରଦ ଜାଣେଲୋ ଦରଦୀ ସିନା ଲୋ, ବଣିଆ ଚିହ୍ନେଟି ସୁନା ।
    ନିମ୍ବର ବୁକେ ଚନ୍ଦନ, ଦେବତା ଗଢ଼ାଇଲା ନାରୀ ଜୀବନ ଲୋ, ଦେଲା ତହିଁ ଯଉବନ ।
    ଢମଣା ଛାଡ଼ିଲା କାତି, ପୁରୁଷ ସିନାଲୋ ଭ୍ରମର ଜାତି ଲୋ, ନୂଆ ଖୋଜୁଥାନ୍ତି ନିତି ।
    ଚାନ୍ଦରେ କଳଙ୍କ ଚିହ୍ନ, ନବ ଯଉବନି କିଆଁ ଗୁମାନ ଲୋ, ଆସିଲେଣି ଜୀବ ଧନ ।
    ପୋଖରୀ ତୁଠ ପଥର, ତତେ ଦେଖିଥିଲି ବାଲି ବନ୍ଧରେ ଲୋ, ଆଖି ଥିଲା ଏଣେ ତୋର ।
    ସାହାଡ଼ା ଗଛର ଛାଇ, ସେଦିନ କଥାକି ତୋ ମନେ ନାଇଁ ଲୋ, ଏତେ ଆନମନା କାହିଁପାଇଁ ।
    ଖୋସାରେ ଖୋସିଲି ଫୁଲ, କେତେ ଦେଖାଉଛୁ ନୁଖୁରା ଗେଲରେ, ଭାଙ୍ଗି ଦେବି ତୋର ଗାଲ ।
    ନଈର ଶୁଖିଲା ବାଲି, କେତେ ଫୁଲି ହେଉ ପୁଚୁକିଗାଲି ଲୋ, ଦେଖାଉଛୁ କେତେ ବେଲି ।
    ବାଜିଲା ତେଲିଙ୍ଗି ବାଜା, ରସିକ ଯେ ଜାଣେ ସ୍ନେହର ମଜା ରେ, ସେ ସିନା ମୋମନ ରଜା ।
    ଲୁଚିଗଲା ମେଘେ ଚାନ୍ଦ, ଦୋଳି କଟକଟ କରେ ଶବଦ ଲୋ, ବହନ୍ତେ ପବନ ମନ୍ଦ ।
    ଦୋଳି ହୁଏ ରଟରଟ, ମୋ ଭାଇ ମୁଣ୍ଡରେ ସୁନା ମୁକୁଟ ଲୋ, ଦିଶୁଥାଏ ଝଟଝଟ ।
    ପରବତେ ଜଳେ ନିଆଁ, ପହଞ୍ଚାଇ ଦୋଳି ତେଣେ ନ ଚାହାଁ ଲୋ, ପୁଣି ହେବ ବାଆଁ ଡାଁ ।
    ଉତୁରି ପଡ଼ିଲା ଦୁଧ, ଉଙ୍କି ମାରି ମାରି ଅନାଉ ଥାଏ ଲୋ, ନନ୍ଦର ଉଦିଆ ଚାନ୍ଦ ।
    ଛତରା ବଜାର ହାଟ, ଛକି ବସିଥିବ ଚଗଲା କାହ୍ନୁଲୋ, ଛନ୍ଦରେ ମାଗିବ ଘାଟ ।
    ଥୋଡ଼ମଞ୍ଜା କଲି ରାଇ, କଣ ନ କଲେ କଳା କହ୍ନାଇ ଲୋ, ମୁହଁକୁ ଯା ନ ଅନାଇ ।
    କରମଙ୍ଗା କଲି ରାଇ, ମଥୁରାକୁ ଗଲେ କଳା କହ୍ନାଇ ଲୋ, କଣ୍ଟ ଦେଇ ଗଲେ କାହିଁ ।
    ସାଉଁଟିଲି ବିଲ ଘଷି, କିମ୍ପାଇଁ ରାଧିକା ବସିଲା ରୁଷି ଲୋ, ଫୁଲ ଶେଜ ହେଲା ବାସି ।
    କଟକଟ ହୁଏ ଦୋଳି, ଭାଉଜଙ୍କ ମନ ଯାଇଛି ଜଳି ଲୋ, ଭାଇ ବିଦେଷୁ ନଇଁଲେ ବୋଲି ।
    ଗରଜେ କଳା ବଉଦ, ମୋତେ ତ ବରଷ ହେଲା ଚଉଦ ଲୋ, ଗଲାଣି ପିଲା ସୁଆଦ ।
    ବଇଁଶୀ ବାଜିଲା କୁଞ୍ଜେ, ବଡ଼କଥା ବଡ଼ ଲୋକଙ୍କୁ ସାଜେ ଲୋ, ଛୋଟ କଲେ ଛାଟ ବାଜେ ।
    ଲାଞ୍ଜ ଟେକିଗଲା ବାଘ, ନଇଁ ଚାଲୁଥିବ ବଡ଼ଙ୍କ ଆଗେ ଲୋ, ଲାଗିବ ନାହିଁଟି ଦାଗ ।
    ଛତୁ ଫୁଟେ ବରଷାରେ, ଛତରାଟା କେତେ ଛଇ ଦେଖାଉ ରେ, ଅଛି କି ତୋ ଭରଷାରେ ।
    କରଡ଼ି ଖସିଲା ଆମ୍ବ, ପର କାହୁଁ ଘର ପରାଣୀ ହେବେ ରେ, ମନ ଜାଣି ଖଞ୍ଜି ଦେବ ।
    ବିରାଡ଼ି ଛିଙ୍କିଲା ବଣେ, ଆଗରେ ଯାଉଛି ନାଗର ଜଣେ ଲୋ, ମୁଣ୍ଡି ଝାଡୁ ଖାଲି ପଣେ ।
    ଅଦିନେ ପଣସ ସିଠା, ବଚନରେ ଯାର ନଥଏ ମିଠା ଲୋ, ସେଟା ବାଡ଼ ପକା କଣ୍ଟା ।
    ପାହାନ୍ତି ରାବିଲେ ପେଚା, ଯିଏ ହୋଇଥିବ ସିଂହର ବଚା ଲୋ, ନ ଦେବ ପଛଘୁଞ୍ଚା ।
    ମଇଁଷି ଶିଙ୍ଗରେ ଖସା, ମଉସା ପୁଆଟା ଏଡ଼େ ସହସା ଲୋ, ମତେ କଲା ଲୋକହସା ।
    ଜାରା ମାରିଦେଲା ବାଣ ଯାହାଠାରେ ଯାର ମିଶିଛି ମନ ଲୋ, ସେହି ଜାଣେ ତାର ଗୁଣ ।
    କାଟି ଗଲି କଳାଦୁବ, ଝିଅ ଜନମରେ ଏତିକି ଲାଭ ଲୋ, ବନ୍ଧୁ ଘର ଅରଜିବ ।
    କାଳୀଗାଇ ଧୁଧ କ୍ଷୀରି, ନୂଆ ପୀରତିରେ ମଉଜ ଭାରି ଗୋ, ପୁରୁଣାଟି ନିମ୍ବ ପରି ।
    ଆମ୍ବ ପତ୍ର ଗହଳିଆ, ପ୍ରୀତି ପଙ୍କେ ତୁହି ହେବୁ ଗୋଳିଆଲୋ, ତୋଫା ହେବଟି ଧୁଳିଆ ।
    ଥିରି ଥିରି ଚାଲେ ହାତୀ, ଥୟ ନ ହେଉଛି କିମ୍ପା ଏ ଛାତି ଲୋ, ଥକା ଦୋଳି ହେଲା ରାତି ।

ରଜରେ ବିଶେଷ ଖାଦ୍ୟ

  1. ରଜ ପାନ
    • ପାନ: ରଜରେ ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା ।
    • ପ୍ରୀତିର ବନ୍ଧନ ହେଉଛି ପାନ । ପ୍ରୀତି, ପ୍ରେମ, ବନ୍ଧୁତାର ଛ'ଲକ୍ଷଣ ଏ ଦେଶରେ ନିର୍ଦ୍ଧାରିତ କରାଯାଇଛି । ଦିଏ, ନିଏ, ଖାଏ, ଖୁଆଏ, ଗୋପନ କଥା କହେ ଓ ପଚାରେ, ଏ ଛ'ଟି ଆନ୍ତରିକତା ଓ ନିବିଡ଼ତାର କଥା । ଭୋଜନ ଶେଷରେ ତାମ୍ବୁଳ ସେବା ଏକ ପ୍ରାଣମୟ ବ୍ୟବସ୍ଥା । ଓଡ଼ିଆଙ ଠାକୁର ବଡ଼ଠାକୁର ଜଗନ୍ନାଥ ପ୍ରତିଦିନ ଭୋଜନାନ୍ତେ ତାମ୍ବୁଳ ସେବା କରି ନିଦ୍ରା ଯାଆନ୍ତି । ପାନ ହେଉଛି ମୁଖବାସ, ପରିତୋଷ । ରଜ ସହିତ ପାନ ଯୋଡ଼ିହେବା ପଛରେ କଥା ଅଛି, ଏଡା ବନ୍ଧୁତାର ଡେ଼ାରିକୁ ସୁଦୃଢ କରିବ । ରଜରେ ଝିଅମାନେ ସମସ୍ତଙ୍କୁ ପାନ ଦବାନବା କରିଥାନ୍ତି । ଆୟୁର୍ବେଦ ଶାସ୍ତ୍ର ଅନୁସାରେ ପାନ ଜୀର୍ଣ୍ଣକାରକ ଏବଂ କୃମିନାଶକ । ପାନରେ ଦିଆଯାଉଥିବା ଚୂନ ଲୌହଶକ୍ତି ପୂର୍ଣ୍ଣ (କ୍ୟାଲସିଅମ) ଓ ଖଇର ଦାନ୍ତକୁ ମଜଭୁତ କରିଥାଏ । ପାନ ଖାଇଲା ବେଳେ ପତ୍ରରୁ ଶିରା ଛେଦନ କରାଯାଇଥାଏ କାରଣ ପାନଶିରା ହେଉଛି ବୁଦ୍ଧି ବିନାଶିନୀ । ରଜପାନର ଚମକ ଓ ମହକ ସାରାବର୍ଷର ପାନକୁ ବଳିଯାଏ, ରଜ ଆଭୂଷଣକୁ ଆହୁରି ମୁଗ୍ଧକର କରିଦିଏ । ରଜପାନରେ ଗୁଆ, ଅଳେଇଚ, ଗୁଜୁରାତି, ଭଜା ଧଣିଆ, ଚାଉଳ ଓ ନଡିଆ ଖଣ୍ଡ, ଚେରି, ଲବଙ୍ଗ, କବାବଚିନି, ଚୁଆ, ପାନ ମହୁରି, ସୁବାସିତ ଜାଫ୍ରାନ କେଶର, ଖଇର ପରି ୧୦ରୁ ୧୨ ପ୍ରକାର ମସଲା ବ୍ୟବହୃତ ହୁଏ । ଏହାକୁ ବିଭିନ୍ନ ଢଙ୍ଗରେ ତ୍ରିଭଙ୍ଗି, ଚଉଭଙ୍ଗି ଆକୃତି ଦେଇ ଉପରେ ଲବଙ୍ଗ ଖୋସି ଅତି ସୁନ୍ଦର ଭାବେ ଥାଳିରେ ସଜାଇ ଦିଆଯାଏ । ସାଧାରଣ ଦିନର ପାନଠାରୁ ରଜପାନର ସ୍ୱାଦ ସ୍ୱତନ୍ତ୍ର । ରଜ ଆସିଲେ ବଜାରରେ ମଧ୍ୟ ପାନର ଦର ବଢିଯାଏ ।ଢ଼ଗରେ ଅଛି-

      ‘ପାନଖିଆ ରସିକ ପାଟି,
      ଖୋଜି ବୁଲୁଥିଲା ରାଜାଙ୍କ ହାତୀ,
      ଢାଳି ଦେଇଗଲା ଶିରରେ, ରାଜା ହୋଇଗଲା ରଜରେ’ ।

  2. ପିଠାପଣା :ଚୁଲି ଲଗାଇ ନିୟମିତ ରୋଷେଇ କରିବା ମହିଳାଙ୍କ କାର୍ଯ୍ୟ ।
  3. ଯେହେତୁ ରଜରେ ଧରଣୀମାତାଙ୍କୁ ବିଶ୍ରାମ ଦିଆଯାଏ; ତେଣୁ ରଜ ପୂର୍ବଦିନ ପହିଲି ରଜରେ ବହୁ ରକମର ପିଠାପଣା, ବିଶେଷ କରି ପୋଡ଼ ପିଠା ତିଆରି କରାଯାଇଥାଏ, ଯାହା ସହଜରେ ନଷ୍ଟ ହୁଏ ନାହିଁ ଏବଂ ଅଧିକ ଦିନ ରହିଥାଏ ।

    ଭାତ ବଦଳରେ ଫଳମୂଳ ଓ ବିଭିନ୍ନ ପ୍ରକାର ପିଠାପଣା ଏକାଠି ଖାଇ ସମସ୍ତେ ମଜା କରିଥାନ୍ତି।

    • ଚକୁଳି ପିଠା: ଏହା ଏକ ଓଡ଼ିଆ ଖାଦ୍ୟ ଯାହା ଚାଉଳ ଚୂନା ଓ ବିରିରୁ ତିଆରି ବହଳିଆ ମଣ୍ଡକୁ ତାବାରେ ଭାଜି ତିଆରି କରାଯାଏ ।
    • ପୋଡ଼ ପିଠା : ଏହା ଏକ ଓଡ଼ିଆ ଖାଦ୍ୟ ଯାହା ଚାଉଳ ଚୂନା ଓ ବିରିରୁ ତିଆରି ଆଣ କୁ କଦଳୀ ପତ୍ରରେ ବାନ୍ଧି ଚୁଲି ରେ ରାତି ସାରା ପୋଡ଼ି ପ୍ରସ୍ତୁତ କରାଯାଏ । ଏହି ପୋଡ଼ ପିଠାକୁ ରଜ ୩ ଦିନ ଖିଆ ଯାଏ ।

ଆଧାର -ଓଡ଼ିଆ ଏକ୍ସପ୍ରେସ୍ରେ

Last Modified : 6/12/2020



© C–DAC.All content appearing on the vikaspedia portal is through collaborative effort of vikaspedia and its partners.We encourage you to use and share the content in a respectful and fair manner. Please leave all source links intact and adhere to applicable copyright and intellectual property guidelines and laws.
English to Hindi Transliterate